ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ । ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପ୍ରଭାବରେ ଆଜିଠୁ ରାଜ୍ୟରେ ବଡ଼ ବର୍ଷା ଆକଳନ କରାଯାଇଛି।
ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ କେନ୍ଦ୍ର ଆକଳନ କରିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ବଲାଙ୍ଗିର ଏବଂ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ୨ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ଲଘୁଚାପ ପ୍ରଭାବରେ ୨ରୁ ୪ ତାରିଖ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଆସନ୍ତା ୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
